( ଭୁବନେଶ୍ୱର / ରିପୋର୍ଟସଟୁଡେ ): ବର୍ଷିବ ବର୍ଷା । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ପଶ୍ଚିମ ଓ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ସହ ବ୍ରଜପାତ ହେବାର ଆଶଙ୍କା ରହିଛି । ଏହାକୁ ଦୃଷ୍ଟିରେ ରଖି ୧୦ଟି ଜିଲ୍ଲାରେ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗ। ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ୨୬ ତାରିଖରେ ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, ସୋନପୁର, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବ।
ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ ଘଡ଼ଘଡ଼ି ସହ ମଧ୍ୟମଧରଣର ବର୍ଷା ହେବ। ଠାଏ ଠାଏ କୁଆପଥର ବର୍ଷା ହୋଇପାରେ। ହେଲେ ଉପକୂଳ ଓଡ଼ିଶାରେ ହାଲକା କୁହୁଡ଼ି ଲାଗିରହିବ। ୨୭ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନ ସମେତ ଗଜପତି ଓ ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ। ଅନ୍ୟ ଜିଲ୍ଲାଗୁଡ଼ିକରେ ପାଗ ଶୁଖିଲା ରହିବ। ୨୮ ଓ ୨୯ ତାରିଖରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଅଞ୍ଚଳ ଓ ଉତ୍ତର ଓଡ଼ିଶାରେ ହାଲକା ବର୍ଷା ହେବାର ସମ୍ଭାବନା ରହିଛି।