ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନଭୋଜି ବେଶ । ମଙ୍ଗଳବାର ଠାରୁ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ମଙ୍ଗଳବାର ଯେଉଡ଼ ଭୋଗ ପରେ ବୁଧବାର ଶ୍ରୀକୃଷ୍ଣ ଜନ୍ମନୀତି ଓ ଗୁରୁବାର ନନ୍ଦ ଉତ୍ସବ ଶ୍ରୀମନ୍ଦିରରେ ଅନୁଷ୍ଠିତ ହୋଇଥିଲା । ପରେ ଆଜି ଠାରୁ ମହାପ୍ରଭୁଙ୍କୁ ବିଭିନ୍ନ ବେଶରେ ସଜ୍ଜିତ କରାଯିବ । ଆଜି ଭାଦ୍ରକୃଷ୍ଣ ଦଶମୀ ତିଥିରେ ଶ୍ରୀମନ୍ଦିରରେ ବନଭୋଜି ବେଶ ସହ କୋଳିବିକା ନୀତି, ବକାସୁର ବଧ ଓ ଅର୍ଘାସୁର ବଧ ନୀତି ଅନୁଷ୍ଠିତ ହେବ । ମଧ୍ୟାହ୍ନଧୂପ ପରେ ରାମକୃଷ୍ଣ ଦୁଇ ଚଳନ୍ତି ପ୍ରତିମାଙ୍କୁ ପୂଜାପଣ୍ଡା ସେବକ ମାନେ ଆଜ୍ଞାମାଳ ପ୍ରଦାନ କରିବା ପରେ ଦୁଇ ପ୍ରତିମାଙ୍କୁ ବିମାନରେ ବସାଇ ସିଂହଦ୍ଵାର ନିକଟସ୍ଥ ବଡଛତା ମଠ ପାର୍ଶ୍ବରେ ଥିବା ଏକ କାଠ ସିଂହାସନରେ ବିଜେ କରାଇବେ। ଲେଙ୍କା ସେବକ ଶବରୁଣୀ ବେଶ ହୋଇ ଗୁଆକୋଳି ଓ ନଡ଼ିଆ ପାତି ମିଶାଇ ଏକ ବାଉଁଶିଆରେ ଧରି ଆସି ସେଠାରେ ନୀତି ସମ୍ପାଦନ କରିବେ। ଭିତରଚ୍ଛ ମହାପାତ୍ର ଉକ୍ତ ଶବରୁଣୀଠାରୁ କୋଳି ଆଣି ମହାପ୍ରଭୁଙ୍କୁ ସମର୍ପଣ ଓ ମଣୋହି କରିଵା ପରେ ପୂଜାପଣ୍ଡା ସେଠାରେ ଶୀତଳ ଭୋଗ ଓ ଭିତରଚ୍ଛ ମହାପାତ୍ର ବନ୍ଦାପନା କରିବେ। ସନ୍ଧ୍ୟାଧୂପ ପରେ ଠାକୁରମାନଙ୍କୁ ବନଭୋଜି ବେଶରେ ସଜ୍ଜିତ କରାଯିବ। ବନଭୋଜି ବେଶରେ ଠାକୁରମାନଙ୍କୁ ପ୍ରାୟ ୧୮ ପ୍ରକାର ସ୍ବର୍ଣ୍ଣ ଅଳଙ୍କାରରେ ବିମଣ୍ଡିତ କରାଯାଇଥାଏ ।