ବର୍ଷା ପାଇଁ ରାଜ୍ୟର ୨ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

0

ଭୁବନେଶ୍ୱର: ବଙ୍ଗୋପସାଗରରେ ବାଂଲାଦେଶ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇଛି। ଏହା ପ୍ରଭାବରେ ଏବେ ଉତ୍ତର ଏବଂ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଲଗାଣ ବର୍ଷା ଜାରି ରହିଛି। ସୋମବାର ବର୍ଷା ପାଇଁ ରାଜ୍ୟର ୨ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ସୋମବାର ବର୍ଷା ପାଇଁ କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ଏହି ଦୁଇ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ଯାଏଁ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ମୟୂରଭଞ୍ଜ, ଅନୁଗୁଳ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଅନ୍ୟପଟେ ଗତ ୨୪ ଘଣ୍ଟାରେ ରାଜ୍ୟରେ ହାରାହାରି ୧୨.୭ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ମୟୂରଭଞ୍ଜ ଜିଲ୍ଲାର ଉଦଳାରେ ସର୍ବାଧିକ ୧୪୧.୭ ମିଲିମିଟର ବର୍ଷା ରେକର୍ଡ ହୋଇଛି।