ଭୁବନେଶ୍ୱର : ରାଜ୍ୟରେ ଜାରି ରହିଛି କାଳବୈଶାଖୀ ଜନିତ ବର୍ଷା ।ଏହା ଆସନ୍ତା ୨ ଦିନ ପର୍ଯ୍ୟନ୍ତ ଜାରି ରହିବ ବୋଲି କୁହାଯାଉଛି । ଏହି ବର୍ଷା ପାଇଁ ତାତିରୁ ମିଳିଛି ଆଶ୍ୱସ୍ତି । ସେପଟେ ବର୍ଷା ପାଇଁ ଆଜି ୫ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ ଓ ଗଜପତି ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ପାଣିପାଗ ବିଭାଗ ପକ୍ଷରୁ ଏସବୁ ଜିଲାରେ କୁଆପଥର ମାଡ଼ ସହ କାଳବୈଶାଖୀ ନେଇ ଚେତାବନୀ ଦିଆଯାଇଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ସୋମବାର ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏସବୁ ଜିଲ୍ଲାରେ କୁଆପଥର ବର୍ଷା ସହ ବିଜୁଳି ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଏହାସହ ପବନର ବେଗ ୫୦ରୁ ୬୦ କିମି ରହିବା ଆଶଙ୍କା କରି ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ସେହିପରି ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ରାୟଗଡ଼ା, ଅନୁଗୋଳ, ଢେଙ୍କାନାଳ, ସୁନ୍ଦରଗଡ଼, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା କରି ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏସବୁ ଜିଲ୍ଲାରେ ବର୍ଷା, ବିଜୁଳି ଘଡ଼ଘଡ଼ି ସହ ପବନର ବେଗ ୪୦ରୁ ୫୦ କିମି ପର୍ଯ୍ୟନ୍ତ ରହିବ। ୬ ତାରିଖରେ ମଧ୍ୟ ଅନେକ ସ୍ଥାନରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ହେବା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି।
ଅନ୍ୟପଟେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ସର୍ବନିମ୍ନ ଦିନର ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ। ଏହାପରେ ଧୀରେଧୀରେ ତାପମାତ୍ରା ୨ରୁ ୪ ଡିଗ୍ରୀ ବଢିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଗତ ୨୪ ଘଣ୍ଟା ମଧ୍ୟରେ ଅନେକ ସ୍ଥାନରେ ବର୍ଷା ହୋଇଥିବା ବେଳେ ମୟୂରଭଞ୍ଜ ଉଦଳାରେ ସର୍ବାଧିକ ୮୪ ମିମି ବର୍ଷା ରେକର୍ଡ କରାଯାଇଛି। ସେହିପରି ଝାରସୁଗୁଡାରେ ସର୍ବାଧିକ ୪୦.୬ ଡିଗ୍ରୀ ଓ ଭଦ୍ରକରେ ସର୍ବନିମ୍ନ ୧୭.୦ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।