ପୁରୀ: ଆଜି ମାଘ କୃଷ୍ଣ ଦ୍ୱିତୀୟା ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ହେବ। ଶ୍ରୀମନ୍ଦିରରେ ଦ୍ବିତୀୟ ଭୋଗ ମଣ୍ଡପ ପରେ ଦତ୍ତମହାପାତ୍ର ସେବକ ମାନଙ୍କ ଦ୍ୱାରା ଏହି ଗୁପ୍ତ ନୀତି ସମ୍ପାଦନ କରାଯିବ। ପ୍ରାକୃତିକ ରଙ୍ଗରେ ଶ୍ରୀଜିଉ ମାନଙ୍କର ଶ୍ରୀମୁଖ ଶୃଙ୍ଗାର କରାଯିବ। ଏଥିପାଇଁ ସନ୍ଧ୍ୟା ୫ଟାରୁ ରାତି ୧୦ଟା ଅର୍ଥାତ୍ ପ୍ରାୟ ପାଞ୍ଚ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ।
ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଯେତିକି ସମୟ ଏହି ନୀତି ଚାଲେ ସେହି ସମୟରେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରୁହେ।